banner
Breaking

ବାଲେଶ୍ଵରରେ ୧୮୦୬ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତପ୍ରସ୍ତର ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ବାଲେଶ୍ବରର ସୋମନାଥପୁରଠାରେ ଏକ ନବନିର୍ମିତ ରେଳ ଓଭରବ୍ରିଜକୁ ମଧ୍ୟ ଉଦ୍‌ଘାଟନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲାର ୫୬୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ସହାୟତା ମଧ୍ୟ ପ୍ରଦାନ କରି ମିଶନ ଶକ୍ତି ମା’ମାନଙ୍କୁ ଉଦ୍ୟୋଗୀ ହେବା ପାଇଁ ଆହ୍ବାନ ଦେଇଥିଲେ ଏବଂ ଏହି ଆନ୍ଦୋଳନକୁ ଏକ ନୂଆ ସୋପାନକୁ ନେବା ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେଇଥିଲେ। ଜିଲାର ୬୦ ହଜାର ମା’ଙ୍କୁ ଏହି ସହାୟତା ମିଳିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓ୍ବାନ ପଞ୍ଚାୟତ, ଓ୍ବାନ ପ୍ରଡକ୍ଟ ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତ୍ୟେକ ପଞ୍ଚାୟତ ଯଦି ଗୋଟିଏ ଗୋଟିଏ ସ୍ବତନ୍ତ୍ର ଦ୍ରବ୍ୟ ଉତ୍ପାଦନ କରିପାରିବେ, ତେବେ ଏଥିପାଇଁ ବଜାର ସୃଷ୍ଟି ହେବାରେ ସୁବିଧା ହେବା ସହିତ ପ୍ରତ୍ୟେକ ପଞ୍ଚାୟତର ଏକ ସ୍ବତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି ହୋଇପାରିବ। ମା’ମାନେ ଓଡ଼ିଶାର ଶିଳ୍ପ ବିକାଶରେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ଆଗାମୀ ୫ ବର୍ଷରେ ମା’ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ଋଣ ଦିଆଯିବ।

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି, ବାଲେଶ୍ବର ହେଉଛି ଏକ ଆଗୁଆ ଜିଲା। ଶିକ୍ଷା, ସାହିତ୍ୟ, ଶିଳ୍ପ, କୃଷି, ଭିତ୍ତିଭୂମି ସବୁ କ୍ଷେତ୍ରରେ ବାଲେଶ୍ବର ଆଗୁଆ। ଆଜିର କାର୍ଯ୍ୟକ୍ରମ ବିକାଶର ଏହି ଧାରାକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର ଓ ବାଲେଶ୍ବର ବିଧାୟକ ସ୍ବରୂପ ଦାସ ପ୍ରମୁଖ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ବାଲେଶ୍ବର ଜିଲାରେ ହୋଇଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ।

ମେଡିକାଲ କଲେଜଠାରୁ ଆରମ୍ଭ କରି ରାସ୍ତାଘାଟ, ପାନୀୟ ଜଳ, ସ୍ବାସ୍ଥ୍ୟ କଲ୍ୟାଣ କାର୍ଯ୍ୟକ୍ରମ ସବୁ କ୍ଷେତ୍ରରେ ବାଲେଶ୍ବର ଜିଲାରେ ଉଲ୍ଲେଖନୀୟ କାର୍ଯ୍ୟ ହେଉଛି ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ବିଧାୟକଗଣ ଉପସ୍ଥିତ ଥିଲେ। ଜିଲାପାଳ ସ୍ବାଗତ ଭାଷଣ ଦେଇଥିବା ବେଳେ ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

Khansweb Solution Bhubaneswar

Leave A Reply

Your email address will not be published.