banner
Breaking

ପୁଣି ଲଘୁଚାପ ; ୫ଟି ଜିଲ୍ଲାରେ ପ୍ରବଳ ବର୍ଷିବ।

0

ଭୁବନେଶ୍ୱର,୧/୧୦(ଓଡ଼ିଆ ନ୍ୟୁଜ): ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହାର ପ୍ରଭାବରେ ଉତ୍ତର ପଶ୍ଚିମ ଏବଂ ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।
ଏହାର ପ୍ରଭାବରେ ଆସନ୍ତାକାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। ବିଶେଷ କରି ଜଗତସିଂହପୁର, କଟକ, ପୁରୀ, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଓ ଖୋର୍ଦ୍ଧାରେ ବି ପ୍ରବଳ ବର୍ଷା ହୋଇପାରେ। ଏହି ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆସନ୍ତା ୨ତାରିଖରେ ଉତ୍ତର ଉପକୂଳ, ଉତ୍ତର ଆଭ୍ୟନ୍ତରୀଣ, ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୋଳ ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, କଟକ, ଯାଜପୁର ଓ ଭଦ୍ରକ ଆଦି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲାଗୁଡ଼ିକୁ ୟେଲୋ ଓାର୍ଣ୍ଣିଂ ଜାରି ହୋଇଛି।
୪ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଅଧିକାଂଶ ଜିଲାରେ ବର୍ଷାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ଏବଂ ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୋଳ ଓ ବରଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ସମୁଦ୍ର ଉପକୂଳରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀ ଅକ୍ଟୋବର ୨ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟମକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ଲଘୁଚାପ ଜନିତ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲା ପ୍ରଶାସନକୁ ସଜାଗ ରଖିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଉତ୍ତର ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଳଘୁଚାପ ରୂପ ନେବା ପରେ ଆସନ୍ତା ୪ତାରିଖରେ ଓଡ଼ିଶା ଉପକୂଳ ଅତିକ୍ରମ କରି ରାଜ୍ୟରେ ସ୍ଥଳଭାଗକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ସପ୍ତାହେ ଧରି ରାଜ୍ୟରେ ବର୍ଷା ଲାଗିରହିବ। ୪ରୁ ଆଭ୍ୟନ୍ତରୀଣ ଉତ୍ତର ତଥା ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହେବ। ଢ଼େଙ୍କାନାଳ, ଅନୁଗୋଳ, ବୌଦ୍ଧ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ରେ ସବୁଠାରୁ ଅଧିକ ବର୍ଷା ହୋଇପାରେ। କେତେକ ସ୍ଥାନରେ ସମୁଦାୟ ବର୍ଷା ୨୦୦ମିମି ପର୍ଯ୍ୟନ୍ତ ହେବାର ସମ୍ଭାବନା ରହିଛି। ଏହାଛଡ଼ା ଆସନ୍ତା ୭ ତାରିଖରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ବା ଆଣ୍ଡାମାନ ସାଗରରେ ମିଅାଁମାର ଉପକୂଳ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି କ୍ରମଶଃ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳକୁ ମୁହାଁଇପାରେ। ଏହାଫଳରେ ରାଜ୍ୟରେ ଅଧିକ ତିନିଦିନ ବର୍ଷା ହୋଇପାରେ। ଏହି ସମୟରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୫ତାରିଖ ସୁଦ୍ଧା ଏହାର ପ୍ରଭାବ ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିବ।

Khansweb Solution Bhubaneswar

Leave A Reply

Your email address will not be published.